ଭୁବନେଶ୍ବର: କେନ୍ଦ୍ରୀୟ ବଙ୍ଗୋପ ସାଗରରେ ସୃଷ୍ଟ ଲଘୁଚାପ ସକ୍ରିୟ ହୋଇଛି। ଆସନ୍ତା ୪୮ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ଦିଗରେ ଗତି କରିବ। ପରବର୍ତ୍ତୀ ତିନି ଦିନରେ ଏହା ଉତ୍ତର ଓ ଉତ୍ତର -ପଶ୍ଚିମରେ ଗତି କରିବ। ଏହାର ପ୍ରଭାବରେ ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାରେ ୩ ଦିନ ବର୍ଷା ହୋଇପାରେ। ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଜାରି ବୁଲେଟିନରେ କୁହାଯାଇଛି ଯେ ଲଘୁଚାପ ପ୍ରଭାବରେ ଆସନ୍ତାକାଲି ଗଞ୍ଜାମ, ଗଜପତି, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ବର ଜିଲାରେ ବର୍ଷାର ସମ୍ଭାବନା ରହିଛି। ୨୨ ତାରିଖରେ ଗଞ୍ଜାମ ଓ ପୁରୀରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏହି ଦୁଇଟି ଜିଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହିତ ଗଜପତି, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର ଓ ଯାଜପୁର ଜିଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାରୁ ଏସବୁ ଜିଲାରେ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ୨୩ରେ ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ବରର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ଅନ୍ୟପକ୍ଷରେ ପାଣିପାଗ ବିଶେଷଜ୍ଞ ସୁରେନ୍ଦ୍ରନାଥ ପଶୁପାଳକ କହିଛନ୍ତି ଯେ ଓଡ଼ିଶାରେ ଏହାର ପ୍ରଭାବ କମ ରହିବ। ଆସନ୍ତା ୨୧ ଓ ୨୨ରେ ଜଗତସିଂହପୁରରୁ ଗଞ୍ଜାମ ଉପକୂଳ ସହିତ ଗଜପତି ଓ ରାୟଗଡ଼ାରେ ସ୍ବଳ୍ପରୁ ମଧ୍ୟମ ଓ ୨୩ ରେ ସମଗ୍ର ଉପକୂଳ ଓ ସଂଲଗ୍ନ ଅଞ୍ଚଳରେ ସ୍ବଳ୍ପରୁ ମଧ୍ୟମ ବର୍ଷା ହେବ। ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ। ୨୪ରେ ପୁରୀଠାରୁ ବାଲେଶ୍ବର ଉପକୂଳରେ ବର୍ଷାର ସମ୍ଭବନା ଥିବାବେଳେ କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ବରର କିଛି ସ୍ଥାନରେ ପ୍ରବଳ ବର୍ଷା ହେବ। ଅନ୍ୟାନ୍ୟ ଜିଲାରେ ୨୪ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବା ସହିତ କିଛି ସ୍ଥାନରେ ସ୍ବଳ୍ପ ବର୍ଷା ହୋଇପାରେ।
About the author
Related Posts

July 23, 2020
ରାଜଧାନୀରେ ସୁପର ସ୍ପ୍ରେଡର

July 21, 2020
ଅଭିନେତା ବିଜୟ ମହାନ୍ତିଙ୍କ ପରଲୋକ

October 23, 2020